Mission Shakti: ମିଶନ ଶକ୍ତି ଗ୍ରୁପକୁ ନୂଆବର୍ଷ ଗିଫ୍ଟ ଦେଲେ ମୁଖ୍ୟମନ୍ତ୍ରୀ!
Advertisement
Article Detail0/zeeodisha/odisha1521354

Mission Shakti: ମିଶନ ଶକ୍ତି ଗ୍ରୁପକୁ ନୂଆବର୍ଷ ଗିଫ୍ଟ ଦେଲେ ମୁଖ୍ୟମନ୍ତ୍ରୀ!

Mission Shakti: ମିଶନ ଶକ୍ତି ମହିଳାଙ୍କ ସୁବିଧା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୨୫ କୋଟି ଟଙ୍କାର ସୁଧ ଛାଡ଼ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନ ଶକ୍ତି ମା' ମାନଙ୍କ ପାଇଁ ବିନା ସୁଧରେ ଆର୍ଥିକ ସହାୟତା ଓ ସେମାନଙ୍କ ଅର୍ଥନୈତିକ ସଶକ୍ତିକରଣ ଦିଗରେ ଏହା ମହତ୍ୱପୂର୍ଣ୍ଣ ସାବ୍ୟସ୍ତ ହେଉଛି ବୋଲି ସେ କହିଛନ୍ତି ।

ସୌ: ସୋସିଆଲ ମିଡିଆ

Mission Shakti: ମିଶନ ଶକ୍ତି ଗ୍ରୁପକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ (Naveen Patnaik) ଆଜି ଏକ ବଡ଼ ଘୋଷଣା କରିଛନ୍ତି । ଆଜି ଲୋକସେବା ଭବନ (Loka Seva Bhawan) କନ୍‌ଭେନ ସେଣ୍ଟରରୁ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀ ଆରମ୍ଭ କରିଛନ୍ତି । ରାଜ୍ୟର ୩୦ଟି ଜିଲ୍ଲାର ୨.୫ ଲକ୍ଷ ମିଶନ ଶକ୍ତି ଗ୍ରୁପଙ୍କ ବ୍ୟାଙ୍କ ଖାତାକୁ ଏହି ସୁଧ ରିହାତି ପ୍ରଦାନ କରାଯାଇଛି । ୨୦୨୨ ଅପ୍ରେଲରୁ ଓ ସେପ୍ଟେମ୍ବର ମଧ୍ୟରେ ମହିଳା ମାନେ ଯେଉଁ ଋଣ ନେଇଥିଲେ, ସେହିମାନଙ୍କ ଋଣର ସୁଧ ପରିମାଣ ପ୍ରଦାନ କରାଯାଇଛି । ମାତ୍ର ୬ ମାସରେ ରାଜ୍ୟ ସରକାର ୧୨୫ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ କରିଛନ୍ତି । ଉପସ୍ଥିତ ୫ଟି ମିଶନ ଶକ୍ତି ଗ୍ରୁପକୁ ଚେକ୍‌ ପ୍ରଦାନ କରି ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ।

ଏହି ଅବସରରେ କନ୍‌ଭେନସନ ସେଣ୍ଟରରେ ଉପସ୍ଥିତ ଥିବା ମା' ଓ ରାଜ୍ୟର ସବୁ ଜିଲ୍ଲା ଓ ବ୍ଲକ୍‌ରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଡି ହୋଇଥିବା ମା' ମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ମା' ମାନେ ଆଜି ଘରର ଚାରି କାନ୍ଥରୁ ବାହାରି ବ୍ୟବସାୟ ଠାରୁ ଆରମ୍ଭ କରି, ବିକାଶର ବିଭିନ୍ନ କ୍ଷେତ୍ରରେ ନିଷ୍ପତ୍ତି ନେଉଛନ୍ତି । ମା' ମାନଙ୍କର ଏହି ନିଷ୍ପତ୍ତି ନେବାର କ୍ଷମତା ହେଉଛି ପ୍ରକୃତ ରୂପାନ୍ତର । ଆଗାମୀ ଦିନରେ ମା' ମାନେ ଆହୁରି ବଡ ବଡ ନିଷ୍ପତ୍ତି ନେବେ ଓ ଓଡି଼ଶାର ରୂପାନ୍ତରରେ ଗୁରୁତ୍ବପୂର୍ଣ୍ଣ ଅବଦାନ ରଖିବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ବାସ ପ୍ରକଟ କରିଛନ୍ତି । 

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମିଶନ ଶକ୍ତି ଆଜି କେବଳ ଏକ ସ୍ଲୋଗାନ ନୁହେଁ, ଆଜି ଏହା ମା' ମାନଙ୍କର ଏକ ଜୀବନଧାରା । ୭୦ ଲକ୍ଷ ମା' ମାନଙ୍କର ଏହି ବିରାଟ ଅନୁଷ୍ଠାନ ଆଜି ଓଡି଼ଶା ବିକାଶର ନୂଆ ଇତିହାସ ଲେଖୁଛି ।'

ମିଶନ ଶକ୍ତି ଗ୍ରୁପ ଗୁଡିକୁ ଶକ୍ତିଶାଳି କରିବା ପାଇଁ ବିଭିନ୍ନ ଘୋଷଣା ସଂପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, "ବିନା ସୁଧରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ, ଜିଲ୍ଲାସ୍ତରୀୟ ଫେଡେରେସନକୁ ଏକ କୋଟି ଟଙ୍କା ଓ ବ୍ଲକ୍‌ ଫେଡେରେସନକୁ ୫୦ ଲକ୍ଷ ଟଙ୍କାର ରିଭଲଭିଂ ଫଣ୍ଡ ଆଦି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ମୁଁ ଚାହେଁ ।’ ସେ ଆହୁରି କହିଛନ୍ତି ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କାର ଋଣ ଓ ୧୨୦୦ କୋଟି ଟଙ୍କାର ସୁଧ ରିହାତି ବ୍ୟବସ୍ଥା ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯାଜପୁରର ଜିଲ୍ଲାସ୍ତରୀୟ ଫେଡେରେସନ ଭବନକୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଥିଲେ ।

ମିଶନ ଶକ୍ତି ବିଭାଗ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ କହିଛନ୍ତି, "ମୁଖ୍ୟମନ୍ତ୍ରୀଙ୍କ ଏହି ସାମାଜିକ ଓ ଆର୍ଥିକ ସଶକ୍ତିକରଣ କାର୍ଯ୍ୟକ୍ରମ ଆଜି ଏକ ବୈପ୍ଲବିକ ଆନ୍ଦୋଳନରେ ପରିଣତ ହୋଇଛି । ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ପାଇବାର ଯେଉଁ ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିଛନ୍ତି, ତାହା ମା' ମାନଙ୍କ ପାଇଁ ବହୁତ ଉପଯୋଗୀ ସାବ୍ୟସ୍ତ ହେବ ।"

କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇ ମିଶନ ଶକ୍ତି ବିଭାଗ କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ କହିଲେ ଯେ ଆଗରୁ ସୁଧ ରିହାତି ପାଇବା ପାଇଁ ମା' ମାନେ ବ୍ୟାଙ୍କକୁ ବାରମ୍ବାର ଯାଉଥିଲେ । ଏବେ ସେ ଅବସ୍ଥା ଆଉ ନାହିଁ । ୫-ଟିରେ ଟେକ୍ଲୋଲୋଜିରେ ବ୍ୟବସ୍ଥା କରାଯାଇ ଖୁବଶୀଘ୍ର ସୁଧ ରିହାତି ହିସାବ କରି ମା' ମାନଙ୍କ ଆକାଉଣ୍ଟକୁ ସିଧାସଳଖ ପଠାଇ ଦିଆଯାଉଛି । ମା' ମାନଙ୍କ ପାଇଁ ଯେଉଁ ରିଭଲଭିଂ ଫଣ୍ଡ କରାଯାଇଛି, ତାହା ଏକ ମିନି ବ୍ୟାଙ୍କରେ ପରିଣତ ହେବ ଏବଂ ମା ମାନେ କେବଳ ପାରମ୍ପରିକ ବ୍ୟବସାୟ ନୁହେଁ, ବିଭିନ୍ନ ଆଧୁନିକ ବ୍ୟାବସାୟ ଯଥା ଫେଶନ ଡିଜାଇନ, କୃଷି ଉଦ୍ୟୋଗ, ବିଉଟି ଓ ୱେଲନେସ୍‌ ଆଦି ବ୍ୟବସାୟ ଯେପରି କରିପାରିବେ, ସେଥିପାଇଁ ମଧ୍ୟ ବ୍ୟବସ୍ଥା କରାଯାଉଛି । ମା' ମାନେ ଏବେ ବ୍ୟବସାୟ କରି ନିଜର ପରିଚୟ ନେଇ ଆଗକୁ ବଢିବେ ବୋଲି ସେ କହିଛନ୍ତି ।